ପହଞ୍ଚିଲା ମୌସୁମୀ; ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ ଜିଲ୍ଲାରେ ଝଡ଼ବର୍ଷା: ଜାରି ହେଲା ୟେଲୋଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: ଦକ୍ଷିଣ- ପଶ୍ଚିମ ମୋସୁମୀ ବାୟୁ ଆଜି (ଗୁରୁବାର) ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ଆସି ପହଞ୍ଚିଯାଇଛି। ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାକୁ ମୋସୁମୀ ବାୟୁ ସମ୍ପୂର୍ଣ ଭାବେ ଅଗ୍ରସର ହୋଇଥିବା ବେଳେ ନୂଆପଡା, କଳାହାଣ୍ଡି ଏବଂ ରାୟଗଡା ଜିଲ୍ଲାକୁ ଆଂଶିକ ଭାବେ ଅଗ୍ରସର ହୋଇଛି। ଏପରିସ୍ଥିତିରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ତମାମ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ତମାମ ରାଜ୍ୟର ୩୦ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଥିବା ନେଇ ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ଼, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଂଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡା, ବାଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରପୁଟ ଓ ମାଲକାନାଗିରି ଜିଲ୍ଲାରେ ବର୍ଷା ପବନ ସହ ବଜ୍ରପାତର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାର କେତେକ ସ୍ଥାନରେ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପକ୍ଷରେ ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶା, ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଉପକୂଳ ଓଡିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟମରୁ ହାଲୁକା ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହୋଇପାରେ।

ଆସନ୍ତା ୩ ଦିନ ମଧ୍ୟରେ ଓଡ଼ିଶାର ଅଧିକାଂଶ ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ ୩ରୁ ୪ ଡିଗ୍ରି ସେଲସିୟସ ପର୍ଯ୍ୟନ୍ତ ହ୍ରାସ ଘଟିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

ସମ୍ବନ୍ଧିତ ଖବର