୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ: ୧୪ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୧୯ ତାରିଖ ଗୁରୁବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୪ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏବଂ ବଜ୍ରପାତ ସମୟରେ ଲୋକଙ୍କୁ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।

ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ମୟୂରଭଞ୍ଜ ଓ କେନ୍ଦୁଝର, ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳରେ ଅପରାହ୍ନରୁ ସନ୍ଧ୍ୟା ମଧ୍ୟରେ ଆକାଶ ମେଘୁଆ ରହିବା ସହ ମଧ୍ୟମରୁ ହାଲୁକା ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି। ଓଡିଶାର ବାକି ଜିଲ୍ଲାରେ ଶୁଖିଲା ପାଗ ରହିବାର ସମ୍ଭାବନା ରହିଛି।

ଅନ୍ୟପକ୍ଷରେ ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡ଼ିକରେ ଦିନର ତାପମାତ୍ରାରେ ସେପରି କୌଣସି ବଡ଼ ଧରଣର ପରିବର୍ତ୍ତନ ଘଟିବାର କୌଣସି ସମ୍ଭାବନା ନଥିବା କହିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ତେବେ, ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି।

ସମ୍ବନ୍ଧିତ ଖବର