ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍ ୨୦ ତାରିଖ ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଢ଼େଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ଗଞ୍ଜାମ, କଟକ, ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୫ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏବଂ କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।
ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, କେନ୍ଦ୍ରାପଡ଼ା, ନବରଙ୍ଗପୁର, ମାଲକାନାଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।
ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳରେ ଅପରାହ୍ନରୁ ସନ୍ଧ୍ୟା ମଧ୍ୟରେ ଆକାଶ ଆଂଶିକ ମେଘୁଆ ରହିବା ସହ ମଧ୍ୟମରୁ ହାଲୁକା ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି। ଓଡିଶାର ବାକି ଜିଲ୍ଲାରେ ଶୁଖିଲା ପାଗ ରହିବାର ସମ୍ଭାବନା ରହିଛି।
ଅନ୍ୟପକ୍ଷରେ ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡ଼ିକରେ ଦିନର ତାପମାତ୍ରାରେ ସେପରି କୌଣସି ବଡ଼ ଧରଣର ପରିବର୍ତ୍ତନ ଘଟିବାର କୌଣସି ସମ୍ଭାବନା ନାହିଁ; ଏହାପରେ ରାଜ୍ୟର ପଶ୍ଚିମାଞ୍ଚଳ ଓ ଆଭ୍ୟନ୍ତରୀଣ ଜିଲ୍ଲାମାନଙ୍କରେ ଗ୍ରୀଷ୍ମପ୍ରବାହର ସମ୍ଭାବନା ରହିଥିବା କହିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ତେବେ, ଆସନ୍ତା ୨୨ ତାରିଖ, ରବିବାର ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଜନିତ ଝଡ଼ବ ର୍ଷାର ସମ୍ଭାବନା ରହିଛି।