କାଳବୈଶାଖୀ: ୧୧ ଜିଲ୍ଲାକୁ ଜାରିହେଲା ୟେଲୋଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ ଦେଶର ବହୁ ରାଜ୍ୟରୁ ପ୍ରତ୍ୟାବର୍ତ୍ତନ କରିବାର ପ୍ରକ୍ରିୟା ଆରମ୍ଭ କରିଛି। ତେବେ, ଓଡ଼ିଶାରେ ଦକ୍ଷିଣ- ପଶ୍ଚିମ ମୌସୁମୀର ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଏଯାବତ୍‌ ଆରମ୍ଭ ହୋଇନାହିଁ। ଏସ୍ଥିତିରେ ଆସନ୍ତା ଅକ୍ଟୋବର ୧୦ ତାରିଖରେ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ସୃଷ୍ଟି ହେବା ସହ ଏଥିପାଇଁ ପାଗ ସଂପୂର୍ଣ୍ଣ ଅନୁକୂଳ ରହିଛି। ଏହି ଲଘୁଚାପ କ୍ଷେତ୍ରଟି ଅଧିକ ଘନୀଭୂତ ହେବା ସହ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ଆଗାମୀ ୩ରୁ ୪ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଉପକୂଳ ଦେଇ ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଏବେ ଉତ୍ତର-ପୂର୍ବ ଦିଗରେ ସମୁଦ୍ର ପତ୍ତନ ଠାରୁ ୩.୧ କିଲୋମିଟର ଉଚ୍ଚତାରେ ଏକ ଟ୍ରଫ୍‌ ଲାଇନ୍‌ ସୃଷ୍ଟି ହୋଇଛି।

ଏହି ଟ୍ରଫ୍‌ ଲାଇନ୍‌ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ିର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ଣରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଶନିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲା ଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ସମ୍ବନ୍ଧିତ ଖବର