ଆଜି ରଥ ନିର୍ମାଣ ଅନୁକୂଳ: ୪ଟାରେ ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ

ବନଜାଗ ବିଧିରେ ହେବ ପୂଜାକାର୍ଯ୍ୟ

ପୁରୀ: ଆସନ୍ତାକାଲି (ଶୁକ୍ରବାର) ପବିତ୍ର ଅକ୍ଷୟ ତୃତୀୟା। ପରମ୍ପରା ଅନୁଯାୟୀ, ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ଛାମୁଣ୍ଡିଆ ବନ୍ଧା ହୋଇଛି। ତିନି ରଥ ପାଇଁ ତିନି କାଠ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ସମ୍ମୁଖରେ ପୂଜାର୍ଚ୍ଚନା ପାଇଁ ରଖାଯାଇଛି। ଆସନ୍ତାକାଲି ଅପରାହ୍ଣ ପ୍ରାୟ ୪ଟାରେ ଶ୍ରୀମନ୍ଦିରରୁ ତିନି ରଥ ପାଇଁ ତିନି ଠାକୁରଙ୍କ ତିନି ଆଜ୍ଞାମାଳ ଆସିବା ପରେ ବନଜାଗ ବିଧିରେ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ ହେବ। ଦେଉଳ ପୁରୋହିତ, ଶ୍ରୀନଅର ରାଜଗୁରୁ, ବ୍ରାହ୍ମଣମାନେ ସ୍ବତନ୍ତ୍ର ଭାବେ ନିର୍ମିତ ଯଜ୍ଞଶାଳାରେ ଯଜ୍ଞ କରିବେ। ବନଜାଗର ଇଷ୍ଟଦେବ ପ୍ରଭୁ ନୃସିଂହଙ୍କୁ ନୃସିଂହଙ୍କ ମନ୍ତ୍ରରେ ପୂଜାପାଠ ସହ ଯଜ୍ଞ ଆହୂତି ଦିଆଯିବ। ଶ୍ରୀମନ୍ଦିରରୁ ଶ୍ରୀଜିଉଙ୍କ ତିନି ଅଜ୍ଞାମାଳ ବିଜେ ପରେ ଛାମୁଣ୍ଡିଆ ଭିତରେ ରହିଥିବା ତିନି ରଥକାଠରେ ଲାଗି ହେବ। ପୂର୍ବରୁ ସ୍ୱତନ୍ତ୍ର ବିଧି ଅନୁସାରେ ମା’ ଦକ୍ଷିଣକାଳୀଙ୍କ ମନ୍ତ୍ରରେ ଅଭିମନ୍ତ୍ରିତ ସୁନାର ତିନିଟି ଛୋଟ କୁରାଢ଼ୀରେ ପ୍ରଥମେ ଦେଉଳ ପୁରୋହିତ ତିନି ରଥ କାଠକୁ ଚୋଟ ମାରିବା ପରେ ବିଶ୍ୱକର୍ମାମାନେ ରଥକାର୍ଯ୍ୟରେ ନିୟୋଜିତ ହେବେ। ସେହି ଅନୁଯାୟୀ ଶାଢ଼ୀ ବନ୍ଧା ଓ ଅନ୍ୟାନ୍ୟ ନୀତି ସଂପନ୍ନ ହେବ।

ରଥ ସଂହିତା ଅନୁଯାୟୀ, ସରସ୍ୱତୀ ପୂଜାରେ ରଥକାଠ ଅନୁକୂଳ, ଶ୍ରୀରାମ ନବମୀରେ ରଥ କାଠ ଚିରଟ ଅନୁକୂଳ ଓ ଅକ୍ଷୟ ତୃତୀୟାରେ ରଥ ନିର୍ମାଣ କାମ ଅନୁକୂଳ ପରେ ରଥ ନିର୍ମାଣ କାମ ଆରମ୍ଭ ହୋଇଥାଏ। ଭଉଁରୀରେ ଚକ ଡେରା କାମ ଆରମ୍ଭ ଓ ଶୀତଳଷଷ୍ଠୀରେ ଚକଡେରା କାର୍ଯ୍ୟ ଶେଷ ହେବ। ନୃସିଂହ ଚତୁର୍ଦ୍ଦଶୀରେ କୋଣଗୁଜ ଅନୁକୂଳ ଓ ସ୍ନାନପୂର୍ଣ୍ଣିମାରେ ରଥ ଚାରିନାହାକା ଉଠିବ। ଶ୍ରୀଗୁଣ୍ଡିଚା ଯାତ୍ରା ଦିନ ସକାଳେ ବନଯାଗ ବିଧିରେ ରଥ ପ୍ରତିଷ୍ଠା ପରେ ବଡ଼ଦାଣ୍ଡରେ ରଥ ଗଡ଼ିବ।

ସମ୍ବନ୍ଧିତ ଖବର