ଆଜିଠୁ ଲଘୁଚାପ, ପ୍ରବଳ ବର୍ଷିବ

Advertisment
ଆଜିଠୁ ଲଘୁଚାପ, ପ୍ରବଳ ବର୍ଷିବ

Met Weather

ଭୁବନେଶ୍ବର: ଉତ୍ତର-ପୂର୍ବ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୫.୮ ମିମିରୁ ୭.୬ କିମି ଉପରେ ରହିଛି। ଏହାର ପ୍ରଭାବରେ ଆସନ୍ତାକାଲି ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ। ଧୀରେ ଧୀରେ ଏହା ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇ ପଶ୍ଚିମମୁହାଁ ହେବ। ମୌସୁମୀ ଟ୍ରଫ୍‌ ଏବେ ବିକାନିର, ଗ୍ବାଲିଅର, ରାଞ୍ଚି ଓ ବଙ୍କୁରା ଦେଇ ଦକ୍ଷିଣ-ପୂର୍ବମୁହାଁ ହୋଇ ଉତ୍ତର-ପୂର୍ବ ବଙ୍ଗୋପସାଗର ଉପରେ ରହିଛି। ଏହାର ପ୍ରଭାବରେ ଆସନ୍ତା ଦୁଇ ଦିନ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଏନେଇ ସତର୍କ ରହିବାକୁ ସଂପୃକ୍ତ ଜିଲ୍ଲାଗୁଡ଼ିକ ପାଇଁ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।
ଅନ୍ୟପକ୍ଷରେ ସ୍ବତନ୍ତ୍ର ରିଲିଫ୍ କମିସନର ପ୍ରଦୀପ କୁମାର ଜେନା ଆଜି ସବୁ ଜିଲ୍ଲାପାଳଙ୍କୁ ସତର୍କ କରିଛନ୍ତି। ଜିଲ୍ଲାପାଳମାନଙ୍କୁ ନିର୍ଦେଶ ଦେଇଛନ୍ତି ଯେ ସେମାନେ ପରିସ୍ଥିତି ଉପରେ ତୀକ୍ଷ୍ମ ନଜର ରଖିବେ। ଯେଉଁ ଜିଲ୍ଲା ପାଇଁ ଅରେଞ୍ଜ ଓ ୟେଲୋ ଵାର୍ଣ୍ଣିଂ ଜାରି କରାଯାଇଛି, ସେମାନେ ଜଳବନ୍ଦୀ ଓ ବନ୍ୟା ସ୍ଥିତି ପାଇଁ ଆବଶ୍ୟକ ପ୍ରସ୍ତୁତ ହେବା ଲାଗି ମଧ୍ୟ କୁହାଯାଇଛି।

କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତାକାଲି ଅର୍ଥାତ ବୁଧବାର ଦିନ ରାଜ୍ୟର ୧୨ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ହେଲା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବଲାଙ୍ଗୀର, ସୋନପୁର ଓ କେନ୍ଦୁଝର। ବିଶେଷ କରି ଅନୁଗୁଳ, ଦେବଗଡ଼ ଓ ସମ୍ବଲପୁରରେ ଅତିରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ‌ଏଣୁ କେନ୍ଦ୍ର ପକ୍ଷରୁ ଏସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ମୟୂରଭଞ୍ଜ, ବାଲେଶ୍ବର, ଝାରସୁଗୁଡ଼ା, ବରଗଡ଼, ଜଗତସିଂହପୁର, ବୌଦ୍ଧ, କଳାହାଣ୍ଡି ଓ କୋରାପୁଟ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ‌ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨୦ ତାରିଖ ଦିନ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ଉତ୍ତର ବଙ୍ଗୋପସାଗରର ଓଡ଼ିଶା ଉପକୂଳରେ ପବନର ବେଗ ଘଣ୍ଟାପ୍ରତି ୪୫-୫୫ ମିମି ବେଗରେ ବହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe