ମାତୃଭାଷାରେ ପଢ଼ିବେ ଜନଜାତି, ହଷ୍ଟେଲରେ ରହୁଥିବା ୫.୭୫ ଲକ୍ଷ ଛାତ୍ରଛାତ୍ରୀଙ୍କୁ ‘ମୋ ଛାତ୍ରାବାସ’ କାର୍ଡ

୫୦ ହଜାର ଛାତ୍ରଛାତ୍ରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଗଲା ୧୦୧ କୋଟି ଟଙ୍କାର ବୃତ୍ତି, ୩ଟି ଆକାଂକ୍ଷା ହଷ୍ଟେଲ ଓ ୬୮ଟି ଛାତ୍ରାବାସ ଉଦ୍‌ଘାଟିତ

ଭୁବନେଶ୍ବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜନଜାତି ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ଏକ ବଡ଼ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ସେମାନଙ୍କ ଲାଗି ମାତୃଭାଷା ଭିତ୍ତିକ ଶିକ୍ଷାଦାନ ‘ସଂହତି’ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଆଜି ଭିଡ଼ିଓ କନଫରେନ୍ସିଂ ଯୋଗେ ଏ ସଂପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରାଥମିକ ଶିକ୍ଷା ପାଇଁ ମାତୃଭାଷା ସବୁଠାରୁ ଉତ୍ତମ। ମାତୃଭାଷା ଜରିଆରେ ହିଁ ପିଲାମାନେ ସହଜରେ ଶିକ୍ଷା ଗ୍ରହଣ କରିପାରନ୍ତି। ଏଣୁ ଆଜି ଆରମ୍ଭ ହେଉଥିବା ଏହି କାର୍ଯ୍ୟକ୍ରମ ଦ୍ବାରା ଦେଢଲକ୍ଷ ପିଲା ଏବେ ସୁବିଧାରେ ପାଠ ପଢି ପାରିବେ।

କେବଳ ସେତିକି ନୁହେଁ, ମୁଖ୍ୟମନ୍ତ୍ରୀ ୩ଟି ଆକାଂକ୍ଷା ହଷ୍ଟେଲ ଓ ୧୫୦ କୋଟି ବ୍ୟୟରେ ନିର୍ମିତ ୬୮ଟି ଛାତ୍ରାବାସ ଉଦ୍‌ଘାଟନ କରିଥିଲେ। ହଷ୍ଟେଲରେ ରହୁଥିବା ୫.୭୫ ଲକ୍ଷ ଛାତ୍ରଛାତ୍ରୀଙ୍କୁ ‘ମୋ ଛାତ୍ରାବାସ’ କାର୍ଡ ଦିଆଯାଇଥିଲା ଓ ୫୦ ହଜାର ଛାତ୍ରଛାତ୍ରୀଙ୍କ ଆକାଉଣ୍ଟକୁ ପ୍ରାୟ ୧୦୧ କୋଟି ଟଙ୍କାର ବୃତ୍ତି ଅର୍ଥ ପ୍ରଦାନ କରିଥିଲେ। ଏହି ଦୁଇଟି ଯୋଜନାରେ ପ୍ରାୟ ୬ଲକ୍ଷ ଛାତ୍ରଛାତ୍ରୀ ଉପକୃତ ହେବେ। ନବୀନ କହିଥିଲେ, ଜନଜାତି ଭାଇଭଉଣୀମାନଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ଉପରେ ସେ ସବୁବେଳେ ଗୁରୁତ୍ବ ଦେଇ ଆସିଛନ୍ତି। ସେହିଭଳି ଜନଜାତି ପିଲାମାନେ ବିଭିନ୍ନ କ୍ଷେତ୍ରରେ ସେମାନଙ୍କ ଦକ୍ଷତା ଦେଖାଇ ପାରିଛନ୍ତି। ଏବେ ସରକାର ହଷ୍ଟେଲ ମାନଙ୍କରେ ରହୁଥିବା ଛାତ୍ରଛାତ୍ରୀ ମାନଙ୍କ ସୁବିଧା ପାଇଁ ମୋ ଛାତ୍ରାବାସ କାର୍ଡ ବ୍ୟବସ୍ଥା ଆରମ୍ଭ କରାଯାଇଛି। ଏହାଦ୍ବାରା ଅନୁସୂଚିତ ଜନଜାତି ଓ ଜାତି ଛାତ୍ରଛାତ୍ରୀ ମାନଙ୍କ ପାଇଁ ଥିବା ୬୭୦୦ ହଷ୍ଟେଲର ୫.୭୫ ଲକ୍ଷ ଛାତ୍ରଛାତ୍ରୀ ଉପକାର ପାଇବେ।

ଅନୁସୂଚିତ ଜନଜାତି, ଜାତି ପିଲା ମାନଙ୍କୁ ସହରର ଭଲ ସ୍କୁଲରେ ଶିକ୍ଷା ଦେବାପାଇଁ ଆକାଂକ୍ଷା ଯୋଜନା ଚାଲୁଅଛି। ଏହି ଯୋଜନାରେ ବ୍ରହ୍ମପୁର, ସମ୍ବଲପୁର ଓ ରାଉରକେଲାରେ ୩ଟି ଆକାଂକ୍ଷା ହଷ୍ଟେଲ ଆଜି ଉଦ୍‌ଘାଟନ ହୋଇଛି। ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ପିଲାମାନଙ୍କ ଦକ୍ଷତା ବିକାଶ ଆମର ଆଉ ଏକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର। ପ୍ରୟାସ ଯୋଜନାରେ୭୫୦୦ ରୁ ଅଧିକ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗ ପିଲାଙ୍କ ପାଇଁ ନିଯୁକ୍ତି ଭିତ୍ତିକ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଓଡିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷ ସହଯୋଗରେ ଏହି କାର୍ଯ୍ୟକ୍ରମ କରାଯାଉଛି।
ସେହିଭଳି ଆପଦଗ୍ରସ୍ଥ ଜନଜାତିଙ୍କ ପାଇଁ ଆଜି ଆରମ୍ଭ ହୋଇଥିବା ପୁଷ୍ଟି କାର୍ଯ୍ୟକ୍ରମ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ହେଉଛି ରାଜ୍ୟ ସରକାରଙ୍କ ଆଉ ଗୋଟିଏ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମ ଦ୍ବାରା ଆମର ୩୫୦୦ ଆପଦଗ୍ରସ୍ଥ ଜନଜାତି ବର୍ଗର ଆଦିବାସୀ, ଚାଷୀ, ୨୩ ହଜାର ଶିଶୁ ଏବଂ ୨୫ହଜାର ମା’ ଉପକାର ପାଇବେ। ଏହି କାର୍ଯ୍ୟକ୍ରମ ରାଜ୍ୟର ୧୧୩୮ଟି ଆପଦଗ୍ରସ୍ଥ ଜନଜାତି ଗ୍ରାମରେ କାର୍ଯ୍ୟକାରୀ ହେବ।

ଆଜିକ କାର୍ଯ୍ୟକ୍ରମରେ ସମ୍ବଲପୁରରୁ ଯୋଗ ଦେଇ ବିଭାଗୀୟ ମନ୍ତ୍ରୀ ଜଗନ୍ନାଥ ସାରକା। ସେହିପରି ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ ଓ ରାଉରକେଲା ବିଧାୟକ ସାରଦା ନାୟକ ମଧ୍ୟ ଭିଡିଓ କନଫରେନସିଂ ଜରିଆରେ ଯୋଗ ଦେଇ ଅଭିଭାଷଣ ରଖିଥିଲେ।
ଆପଦଗ୍ରସ୍ଥ ଜନଜାତିଙ୍କ ବିକାଶ ନିମନ୍ତେ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଏକ କ୍ଷୁଦ୍ର ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା। ନବରଙ୍ଗପୁର ଓ କେନ୍ଦୁଝରର ଦୁଇଜଣ ବୃତ୍ତି ପାଇଥିବା ଛାତ୍ରଛାତ୍ରୀ ଭିଡିଓ କନଫରେନସିଂ ଜରିଆରେ ନିଜର ମତାମତ ରଖି ଏହାଦ୍ବାରା ସେମାନଙ୍କର ଉଚ୍ଚଶିକ୍ଷାରେ ସୁବିଧା ହେବ ବୋଲି ପ୍ରକାଶ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ। ବିଭାଗୀୟ ପ୍ରମୁଖ ସଚିବ ରଞ୍ଜନା ଚୋପ୍ରା ସ୍ବାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିସନର ପି କେ ଜେନା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ସଚିବ ଓ ଉଚ୍ଚ ପଦସ୍ଥ ଅଧିକାରୀ ମାନେ ଯୋଗ ଦେଇଥିଲେ।

ସମ୍ବନ୍ଧିତ ଖବର