ଭୁବନେଶ୍ବର: ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶା ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ବର୍ଷା ହେବ। ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ। ପଛକୁ ପଛ ଆଉ ଦୁଇଟି ଲଘୁଚାପ ସୃଷ୍ଟି ହେବାକୁ ଥିବାରୁ ସାରା ରାଜ୍ୟରେ ବର୍ଷାର ପ୍ରକୋପ ଜାରି ରହିବ।

Advertisment

ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ୧୪ ତାରିଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ସକାଳେ ଓଡ଼ିଶା ସଂଲଗ୍ନ ଉପକୂଳରେ ଏକ ଲଘୁଚାପରେ ପରିଣତ ହୋଇଛି। ୧୬ ତାରିଖରେ ଏହା ପୂର୍ବ-ପଶ୍ଚିମ ବିସ୍ତୃତ ହୋଇ ଓଡ଼ିଶାରୁ ମହାରାଷ୍ଟ୍ର ପର୍ଯ୍ୟନ୍ତ ଲମ୍ବିବ। ୧୮ ତାରିଖରେ ଆଉ ଏକ ଘୂର୍ଣ୍ଣିବଳୟ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇ ୧୯ ତାରିଖରେ ଲଘୁଚାପ‌ରେ ପରିଣତ ହୋଇପାରେ। ଏହା ୨୧ ତାରିଖ ପର୍ଯ୍ୟନ୍ତ ବର୍ଷା କରାଇବ। ଏହି ଦୁଇଟି ଯାକ ସିଷ୍ଟମ ପ୍ରଭାବରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ମାତ୍ର ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର ସମେତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ପରିମାଣ କମ୍‌ ରହିପାରେ। ୨୩ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ୨୪ କିମ୍ବା ୨୫ ତାରିଖରେ ଲଘୁଚାପ ରୂପ ନେଇପାରେ। ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବା ସହ ଜାରି ରହିଥିବା ନିଅଣ୍ଟିଆ ବର୍ଷା ଦୂର ହୋଇପାରେ।

ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି ଯେ ଆସନ୍ତା ୫ରୁ ୭ ଦିନ ଯାଏଁ ସାରା ରାଜ୍ୟରେ ବର୍ଷା ଲାଗିରହିବ। ମଙ୍ଗଳବାର ସକାଳ ସୁଦ୍ଧା କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଓ ନୂଆପଡ଼ା, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ଗଞ୍ଜାମ, ଗଜପତି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଗତ ୨୪ ଘଣ୍ଟା ମଧ୍ୟରେ ପୁରୀ ଜିଲ୍ଲାର ନିମାପଡ଼ାଠାରେ ସର୍ବାଧିକ ୯୫.୬ ମିମି ବର୍ଷା ରେକର୍ଡ କରାଯାଇଛି।