ଏବେ ଆତ୍ମସନ୍ତୋଷର ଅବକାଶ ନାହିଁ: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁରରେ ଆଉ ଦୁଇ କୋଭିଡ୍‌ ହସ୍‌ପିଟାଲ ଉଦ୍‌ଘାଟିତ

ଗଞ୍ଜାମରେ ସଂକ୍ରମଣ ହାର କମୁଛି, ଆରୋଗ୍ୟ ହାର ବି ଅଧିକ
କୋଭିଡ ନିୟମକୁ ହାଲ୍‌କା ଭାବେ ନ ନେବାକୁ ସରକାରଙ୍କ ଗୁରୁତ୍ବାରୋପ

ଭୁବନେଶ୍ବର/ବ୍ରହ୍ମପୁର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବ୍ରହ୍ମପୁରରେ ଦୁଇଟି କୋଭିଡ୍ ହସ୍‌ପିଟାଲ ଉଦ୍‌ଘାଟନ କରିଛନ୍ତି। ପ୍ରତି ହସ୍ପିଟାଲରେ ଦେଢ଼ ଶହ ଶଯ୍ୟା ବ୍ୟବସ୍ଥା ହୋଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଲେ ଯେ ଗଞ୍ଜାମ ଜିଲ୍ଲାରେ ସଂକ୍ରମଣ ହାର କ୍ରମାଗତ ଭାବରେ କମୁଛି। ଗଞ୍ଜାମରେ ଆରୋଗ୍ୟ ହାର ଜାତୀୟ ହାର ଠାରୁ ଅଧିକ ରହିଛି ଏବଂ ଜିଲ୍ଲାର ୮୫ ପ୍ରତିଶତ ଗ୍ରାମାଞ୍ଚଳ ସବୁଜ ଅଞ୍ଚଳରେ ରହିଛି। କିନ୍ତୁ ଯେପର୍ଯ୍ୟନ୍ତ ଟିକା ବା ନିର୍ଦ୍ଦିଷ୍ଟ ଚିକିତ୍ସା ପଦ୍ଧତି ନ ବାହାରିଛି ଏହି ମହାମାରୀ ବିରୁଦ୍ଧରେ ଫଳପ୍ରଦ ଲଢେଇର ଏକମାତ୍ର ଉପାୟ ହେଉଛି ମାସ୍କର ବ୍ୟବହାର, ସାମାଜିକ ଦୂରତ୍ବ ଓ ସରକାରଙ୍କ କୋଭିଡ ନିୟମାବଳୀର ପାଳନ। ତେଣୁ ବର୍ତ୍ତମାନ ପରିସ୍ଥିତିରେ ଆତ୍ମସନ୍ତୋଷର କୌଣସି ସ୍ଥାନ ନାହିଁ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜନସାଧାରଣ କୋଭିଡ୍ ନିୟମାବଳୀକୁ ହାଲୁକା ଭାବରେ ନ ନେଇ ଏହାର ଗୁରୁତ୍ବକୁ ଭଲ ଭାବରେ ବୁଝନ୍ତୁ। ନିଜର ଏବଂ ନିଜ ପରିବାରର ସୁରକ୍ଷା ଦୃଷ୍ଟିରୁ ସବୁ କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବା ପାଇଁ ନବୀନ ଏହି ଅବସରରେ ଜନସାଧାରଣଙ୍କୁ ନିବେଦନ କରିଥିଲେ। ଗହଳିକୁ ନ ଯିବା ପାଇଁ ମଧ୍ୟ ପରାମର୍ଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅନ୍‌ଲକ୍‌ ଵାନ ପରେ ଦେଶର ହଟସ୍ପଟ୍ ଅଞ୍ଚଳରୁ ଅନେକ ବ୍ୟକ୍ତି ଘରକୁ ଫେରିଛନ୍ତି। ହେଲେ କୋଭିଡ୍ ଯୋଦ୍ଧା ମାନଙ୍କର ତ୍ୟାଗ, ନିଷ୍ଠା ଏବଂ ଗଞ୍ଜାମର ଜନସାଧାରଣଙ୍କର ସହଯୋଗ ଯୋଗୁ ଗଞ୍ଜାମ ଜିଲ୍ଲା ଏହି ମହାମାରୀ ବିରୁଦ୍ଧରେ ସଫଳତାର ସହ ଲଢେଇ ଜାରି ରଖିଛି। ଏଥିପାଇଁ ଜିଲ୍ଲା ପ୍ରଶାସନ ଏବଂ ଗଞ୍ଜାମର ଜନସାଧାରଣ ଧନ୍ୟବାଦର ପାତ୍ର। କରୋନା ମହାମାରୀ କବଳରୁ ଲୋକମାନଙ୍କ ଜୀବନରକ୍ଷା ନିମନ୍ତେ ସରକାର ସବୁପ୍ରକାର ଉଦ୍ୟମ ଜାରି ରଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ରାଜ୍ୟର ପ୍ରତିବଦ୍ଧତା ପ୍ରକାଶ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସାମାଜିକ ଦୂରତ୍ବ ନିୟମକୁ କଡ଼ାକଡ଼ି ଭାବରେ ପାଳନ କରିବାକୁ ଗୁରୁତ୍ବ ଦେଇଥିଲେ। ବ୍ରହ୍ମପୁରର ଏହି ଦୁଇଟି ହସ୍‌ପିଟାଲ ଜିଲ୍ଲାର ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାରେ ସହାୟକ ହେବ ବୋଲି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଆଶାପ୍ରକାଶ କରିଥିଲେ।
ଅନ୍ୟମାନଙ୍କ ମଧ୍ୟରେ ବ୍ରହ୍ମପୁରର ସାଂସଦ ଚନ୍ଦ୍ରଶେଖର ସାହୁ, ବିଧାୟକ ବିକ୍ରମ ପଣ୍ଡା ଏହି କାର୍ଯ୍ୟକ୍ରମରେ ଯୋଡ଼ି ‌ହୋଇଥିଲେ। ଗଞ୍ଜାମ ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିଲେ। ବ୍ରହ୍ମପୁର ମ୍ୟୁନିସ୍‌ପାଲ କମିସନର ଧନ୍ୟବାଦ ଅର୍ପଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା, ଉନ୍ନୟନ କମିସନର, ଅତିରିକ୍ତ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିସନର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଏବଂ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।

ସୂଚନାଯୋଗ୍ୟ, ବ୍ରହ୍ମପୁରର କନିଷି ଠାରେ ଥିବା ଅମିତ୍‌ ହସ୍‌ପିଟାଲରେ କଟକର ଅଶ୍ବିନୀ ହସ୍‌ପିଟାଲ ପକ୍ଷରୁ ଏହି ୧୫୦ ଶଯ୍ୟାବିଶିଷ୍ଟ କୋଭିଡ ହସ୍‌ପିଟାଲ ସ୍ଥାପନ କରାଯାଇଥିବା ବେଳେ ଏଥିରେ ୨୪ଟି ଆଇସିୟୁ ବେଡ୍ ରହିଛି। ସେହିପରି ଏମ୍‌କେସିଜି ହସ୍‌ପିଟାଲର ଶିଶୁ ୱାର୍ଡରେ ନୂଆ କୋଭିଡ ହସ୍‌ପିଟାଲ ଆରମ୍ଭ କରାଯାଇଛି। ଏଥିରେ ମଧ୍ୟ ୧୫୦ଟି ଶଯ୍ୟା ରହିଛି ଏବଂ ୨୪ଟି ଆଇସିୟୁ ବେଡ୍ ରହିଛି। ପୂର୍ବରୁ ବ୍ରହ୍ମପୁରର ଶୀତଳାପଲ୍ଲିଠାରେ ଟାଟା କୋଭିଡ୍ ହସ୍‌ପିଟାଲ କରାଯାଇଥିଲା।

ସମ୍ବନ୍ଧିତ ଖବର