ଝଡ଼ବର୍ଷା ବଢ଼ିବ, ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି

Advertisment
ଝଡ଼ବର୍ଷା ବଢ଼ିବ, ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି

Weather Wiz Kids

ଭୁବନେଶ୍ୱର : ଶୁକ୍ରବାରଠାରୁ ସାରା ରାଜ୍ୟରେ ଝଡ଼ବର୍ଷା ଲାଗିରହିବ। ଅର୍ଦ୍ଧାଧିକ ଜିଲ୍ଲାରେ କାଳବୈଶାଖୀ ହେବାକୁ ଥିବା ବେଳେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆସନ୍ତା ୫ ଦିନ ପାଇଁ ରାଜ୍ୟର ଅଧିକାଂଶ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। କୌଣସି ପ୍ରକାର ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲା ପ୍ରଶାସନକୁ ପରାମର୍ଶ ଦିଆଯାଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୬ଟି ଜିଲ୍ଲାରେ କାଳବୈଶାଖୀ ସହ ବଜ୍ରପାତ ହୋଇପାରେ। କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ଗଞ୍ଜାମ ଓ ଗଜପତି ଜିଲ୍ଲାରେ କାଳବୈଶାଖୀ ସହ ୪୦ରୁ ୫୦ କିମି ବେଗରେ ପବନ ବହିପାରେ। ଏଥିସହ ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ଗଞ୍ଜମ ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟ ଜିଲ୍ଲାଗୁଡିକରେ ଝଡ଼ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି।

ସେହିପରି ୨୫ ଓ ୨୬ ତାରିଖରେ ଉପକୂଳ ଓ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ କାଳବୈଶାଖୀ ପ୍ରଭାବ ରହିବ। ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ। ୨୭ ଓ ୨୮ ତାରିଖରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ବୌଦ୍ଧ ଓ ମୟୂରଭଞ୍ଜ ଜିଲ୍ଲାରେ ଘଡଘଡି ସହ ବଜ୍ରପାତ ହୋଇପାରେ। ଦିନର ସର୍ବୋଚ୍ଚ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି। ତାପମାତ୍ରା ସ୍ୱାଭାବିକଠାରୁ ୨ରୁ ୪ ଡିଗ୍ରି କମ ରହିବ ବୋଲି ପୂର୍ବାନୁମାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରିରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୧.୨ ଡିଗ୍ରି ରେକର୍ଡ କରାଯାଇଥିବା ବେଳେ ଅନ୍ୟ ସମସ୍ତ ସହରର ତାପମାତ୍ରା ୪୦ ଡିଗ୍ରି ତଳେ ରହିଥିଲା। ବାରିପଦା, ଝାରସୁଗୁଡ଼ା, କେନ୍ଦୁଝର, ବଲାଙ୍ଗୀର, ଟିଟିଲାଗଡ଼, ବାଲେଶ୍ବର, ଚାନ୍ଦବାଲି, ଗୋପାଳପୁରରେ ହାଲୁକା ବର୍ଷା ହୋଇଛି। ଆଜି ଅପରାହ୍ନ ଓ ସନ୍ଧ୍ୟାରେ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ କାଳବୈଶାଖୀ ହୋଇଛି। ବଜ୍ରପାତ ସାଙ୍ଗକୁ ପ୍ରବଳ ବର୍ଷା ଯୋଗୁଁ ଜନଜୀବନ ପ୍ରଭାବିତ ହୋଇଛି। କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe