ମେ’ ୧୧ ଯାଏ କାଳବୈଶାଖୀ; ଘଡ଼ଘଡ଼ି, ବଜ୍ରପାତ, ବର୍ଷା ସାଙ୍ଗକୁ ସ୍ଥାନେ ସ୍ଥାନେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା

ଭୁବନେଶ୍ବର : ମେ’ ୧୧ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଲାଗିରହିବ। ଘଡ଼ଘଡ଼ି, ବଜ୍ରପାତ, ବର୍ଷା ସାଙ୍ଗକୁ ସ୍ଥାନେ ସ୍ଥାନେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ୯ ତାରିଖ ବେଳକୁ ଉତ୍ତର ଓ ଉପକୂଳ ଓଡ଼ିଶାର କେତେକ ଜିଲ୍ଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

କେନ୍ଦ୍ର ପକ୍ଷରୁ ଆହୁରି ଆକଳନ କରାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ସମେତ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ରାୟଗଡ଼ା, ମାଲକାନଗିରି, ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ‌ହେବ। ୩୦ରୁ ୪୦ କିମି ବେଗରେ ପବନ ହୋଇପାରେ। ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ସର୍ବୋଚ୍ଚ ତାପମାତ୍ରାରେ ସେଭଳି ଆଖିଦୃଶିଆ ପରିବର୍ତନ ହେବନି କି ତାପମାତ୍ରା ବଢ଼ିବନି। ଗତ ୨୪ ଘଣ୍ଟା ମଧ୍ୟରେ ଟିଟିଲାଗଡ଼କୁ ଛାଡ଼ି ରାଜ୍ୟର ଅନ୍ୟ ସମସ୍ତ ସହରରେ ତାପମାତ୍ରା ୪୦ ଡିଗ୍ରି ତଳେ ରହିଥିଲା। ଉତ୍ତର ଓ ଉପକୂଳବର୍ତୀ ଅଞ୍ଚଳର କେତେକ ସ୍ଥାନରେ ହାଲୁକା ବର୍ଷା ହୋଇଛି।

ସମ୍ବନ୍ଧିତ ଖବର