୧୩ରେ ଲଘୁଚାପ, ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସ୍‌ଆରସି

୧୩ରେ ଲଘୁଚାପ, ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସ୍‌ଆରସି

Hindustan Times

ଭୁବନେଶ୍ୱର : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଆସନ୍ତା ୧୩ ତାରିଖ ବେଳକୁ ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଆନ୍ଧ୍ରପ୍ରଦେଶ ଉପକୂଳରେ ଘନୀଭୂତ ହେବ। ପ୍ରଭାବରେ ୧୨ ତାରିଖଠାରୁ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।

ସମ୍ଭାବ୍ୟ ସ୍ଥିତିକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ୍‌ କମିସନର(ଏସ୍‌ଆରସି)ଙ୍କ ପକ୍ଷରୁ ଆଜି ଜିଲ୍ଲାପାଳମାନଙ୍କୁ ସତର୍କ କରାଇ ପରାମର୍ଶ ଦିଆଯାଇଛି। ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ସହ କୌଣସି ପ୍ରକାର ପରିସ୍ଥିତିର ମୁକାବିଲା ଲାଗି ଜିଲ୍ଲା ପ୍ରଶାସନକୁ ସଜାଗ ରହିବାକୁ କୁହାଯାଇଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୦ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଉପକୂଳ ଓଡ଼ିଶାର ଅନ୍ୟ ଜିଲ୍ଲା ସମେତ ପଶ୍ଚିମ ଓଡ଼ିଶାରେ ଘଡ଼ଘଡ଼ି ସହ ବଜ୍ରପାତ ହେବା ନେଇ ପୂର୍ବାନୁମାନ କରାଯାଇଛି।

ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦେଶକ ଏଚ୍‌ ଆର ବିଶ୍ବାସ କହିଛନ୍ତି ଯେ ଓଡ଼ିଶାରେ ମୌସୁମୀ ଏବେ ଦୁର୍ବଳ ରହିଛି। ‌ତେବେ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଦୁଇ ଦିନ ପର୍ଯ୍ୟନ୍ତ ଓଡ଼ିଶାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ସମସ୍ତ ଜିଲ୍ଲାର ଅଧିକାଂଶ ସ୍ଥାନରେ ବର୍ଷା ହେବ। ଏହା ତୁଳନାରେ ଦକ୍ଷିଣ ଓଡ଼ିଶାରେ ସାମାନ୍ୟ କମ୍‌ ରହିବ ଏବଂ ଅଳ୍ପ କିଛି ସ୍ଥାନର ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହୋଇପାରେ। ଉପକୂଳ ଓଡ଼ିଶାରେ ବି ସମାନ ସ୍ଥିତି ଲାଗିରହିବ। ୧୨ ଓ ୧୩ ତାରିଖ ବେଳକୁ ଦକ୍ଷିଣ ଓଡ଼ିଶାରେ ମୌସୁମୀ ଅଧିକ ସକ୍ରିୟ ରହିବ। ଫଳରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁରର ଅଧିକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। କଟକ ଓ ଭୁବନେଶ୍ବର ସହରରେ ଆକାଶ ମେଘାଚ୍ଛନ୍ନ ରହିବା ସହ ସନ୍ଧ୍ୟାରେ ଘଡ଼ଘଡ଼ି ଓ ବଜ୍ରପାତ ହେବାର ଆଶଙ୍କା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe