ଗରିବ ଲୋକଙ୍କ କଲ୍ୟାଣ କାର୍ଯ୍ୟକ୍ରମ ମତେ ସବୁଠାରୁ ଅଧିକ ସନ୍ତୋଷ ଦେଇଥାଏ: ମୁଖ୍ୟମନ୍ତ୍ରୀ 

୩ ମାସ ପାଇଁ ପ୍ରତ୍ୟେକ ଦିନର ମଜୁରୀ ସହିତ ଆଉ ଅଧିକ ୫୦ ଟଙ୍କା ମିଳିଲା, ୩୨ ଲକ୍ଷ ଶ୍ରମିକ ପାଇଲେ ୩୫୨ କୋଟି    

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଙ୍ଗ ଜରିଆରେ ରାଜ୍ୟର ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ନିୟୋଜିତ ଶ୍ରମିକ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି । ଏଥିରେ ଏପ୍ରିଲରୁ ଜୁନ ମାସ ପର୍ଯ୍ୟନ୍ତ ଏହି ତିନିମାସ ମଧ୍ୟରେ କାମ କରିଥିବା ଶ୍ରମିକ ମାନଙ୍କୁ ସେମାନଙ୍କର ପ୍ରତ୍ୟେକ ଦିନର ମଜୁରି ସହିତ ଆଉ ଅତିରିକ୍ତ ୫୦ ଟଙ୍କା ପ୍ରଦାନ କରାଗଲା। ଏହା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଗଲା   । ଏହାଦ୍ବାରା ପ୍ରତ୍ୟେକ ଶ୍ରମିକ ୪୫୦୦ ଟଙ୍କା ପର୍ଯ୍ୟନ୍ତ ଅତିରିକ୍ତ ମଜୁରି ପାଇଛନ୍ତି । ସମୁଦାୟ ୩୨ ଲକ୍ଷ ଶ୍ରମିକ ୩୫୨ କୋଟି ଟଙ୍କାର ସହାୟତା ପାଇଲେ ।

ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଲେ ଯେ ଗରିବ ଲୋକଙ୍କ ପାଇଁ ମୋ ହୃଦୟରେ ସବୁବେଳେ ସ୍ଵତନ୍ତ୍ର ସ୍ଥାନ ରହିଛି । ଗରିବ ଲୋକଙ୍କ କାର୍ଯ୍ୟକ୍ରମ ମୋତେ ଅଧିକ ସନ୍ତୋଷ ଦେଇଥାଏ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ ଏବଂ ଆଜିର ଏହି ସହାୟତା ସେମାନଙ୍କ ପରିବାରର ଆର୍ଥିକ ଅସୁବିଧା ଦୂର କରିବାରେ ସାହାଯ୍ୟ କରିବା ବୋଲି ଆଶା ପ୍ରକାଶ କରିଥିଲେ । ଗରିବ ଲୋକଙ୍କ ପାଇଁ ଏହିପରି ଉଦ୍ୟମ ଜାରି ରହିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଜିଲ୍ଲା ସ୍ତରରେ ଅଧିକ ଶ୍ରମଦିବସ ସୃଷ୍ଟି କରି ଗରିବ ଲୋକଙ୍କ ରୋଜଗାର ଦେବା  ପାଇଁ  କାମ କରିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ କୋଭିଡର ଦ୍ଵିତୀୟ ଲହରରେ  ଗରିବ ଲୋକଙ୍କ ଅସୁବିଧା ଦୂର କରିବା ପାଇଁ  ୧୬୯୦ କୋଟି ଟଙ୍କାର ସ୍ଵତନ୍ତ୍ର କୋଭିଡ ସହାୟତା ଘୋଷଣା କରିଛନ୍ତି । ଏଥିରେ ଶ୍ରମିକ ମାନଙ୍କ ପାଇଁ ମଧ୍ୟ ୩୫୨ କୋଟି ଟଙ୍କାର ସହାୟତା ରହିଛି । ମନରେଗାରେ ଗତବର୍ଷ ୨୦ କୋଟି ଶ୍ରମ ଦିବସ ସୃଷ୍ଟି ହୋଇଥିବା ବେଳେ ଚଳିତ ବର୍ଷ ଏ ପର୍ଯ୍ୟନ୍ତ ୭ କୋଟି ଶ୍ରମ ଦିବସ ସୃଷ୍ଟି ହୋଇ ପାରିଛି ଏବଂ ବର୍ଷ ଶେଷ ସୁଧା ୨୫ କୋଟି ଶ୍ରମ ଦିବସ ସୃଷ୍ଟି ପାଇଁ ଲକ୍ଷ୍ୟ ରଖାଯାଇଛି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ  ଗତ ଏକ ବର୍ଷ ଧରି ଆମର କୋଭିଡ ଲଢେଇ ମଧ୍ୟରେ ଲକଡାଉନ ସଟଡାଉନ ଯୋଗୁଁ ଗରିବ ଲୋକଙ୍କ ରୋଜଗାର କମିଛି । ତେଣୁ ଲୋକଙ୍କ ଜୀବିକା ଉପରେ ଧ୍ୟାନ ଦେଇ ରାଜ୍ୟ ସରକାର ଚାଷୀ, ଶ୍ରମିକ, ଦୁଗ୍ଧ ଚାଷୀ, ଉଠା ଦୋକାନୀ ସମସ୍ତଙ୍କ ପାଇଁ ୧୬୯୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି ବୋଲି ସେ କହିଥିଲେ । କରୋନାର ଦ୍ଵିତୀୟ  ଲହର ସଂପୂର୍ଣ୍ଣ ଶେଷ ହୋଇନାହିଁ ବୋଲି ଦୋହରାଇ ସେ ସମସ୍ତଙ୍କୁ ଟିକା ନେବାକୁ ଓ କୋଭିଡ ନିୟମ ମାନିବାକୁ ଅନୁରୋଧ କରିଥିଲେ।

ସମ୍ବନ୍ଧିତ ଖବର