ବାଲେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ବାଲେଶ୍ବର ଗସ୍ତରେ ଆସି ୧୮୦୬ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୩୭୪ କୋଟି ଟଙ୍କାର ପ୍ରକଳ୍ପ ଲୋକାର୍ପଣ ହୋଇଥିବା ବେଳେ, ୧୪୩୧ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଶିଳାନ୍ୟାସ କରାଯାଇଛି। ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ମୁଖ୍ୟମନ୍ତ୍ରୀ ହେଲିକେପ୍ଟର ଯୋଗେ ପୂର୍ବାହ୍ନ ୧୧ଟା ୧୫ ମିନିଟ୍ରେ ରିଜର୍ଭ ପୁଲିସ ପଡ଼ିଆରେ ଓହ୍ଲାଇବା ପରେ ସହରର ଶୋଭାରାମପୁର ଠାରେ ନବନିର୍ମିତ ରେଳ ଓଭରବ୍ରିଜ ନିକଟକୁ ଯାଇ ଉକ୍ତ ପ୍ରକଳ୍ପକୁ ପ୍ରଥମେ ଲୋକାର୍ପିତ କରିଥିଲେ।
ଏହାପରେ ମୁଖ୍ୟମନ୍ତ୍ରୀଙ୍କୁ ରିଜର୍ଭ ପୁଲିସ ପଡ଼ିଆରେ ଆୟୋଜିତ ଜନ ସମାବେଶକୁ ଅଣାଯାଇଥିଲା। ସମବେତ ଜନତାଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣ ରଖି କହିଥିଲେ ବାଲେଶ୍ବର ହେଉଛି ଏକ ଆଗୁଆ ଜିଲ୍ଲା। ଶିକ୍ଷା, ସାହିତ୍ୟ, ଶିଳ୍ପ, କୃଷି, ଭିତ୍ତିଭୂମି – ସବୁ କ୍ଷେତ୍ରରେ ବାଲେଶ୍ବର ଆଗୁଆ। ଆଜିର କାର୍ଯ୍ୟକ୍ରମ ବିକାଶର ଏହି ଧାରାକୁ ଆହୁରି ଆଗକୁ ନେବ ବୋଲି ସେ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜିଲ୍ଲାର ୫୬୦୦ ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ୨୨୦ କୋଟି ଟଙ୍କାର ସହାୟତା ପ୍ରଦାନ କରି ମିଶନ ଶକ୍ତି ମା’ ମାନଙ୍କୁ ସଫଳ ଉଦ୍ୟୋଗୀ ହେବା ପାଇଁ ଆହ୍ବାନ ଦେଇଥିଲେ ଏବଂ ଏହି ଆନ୍ଦୋଳନକୁ ଏକ ନୂଆ ସୋପାନକୁ ନେବା ପାଇଁ ଉଦ୍ୟମ କରିବାକୁ ସେ ପରାମର୍ଶ ଦେଇଥିଲେ।
ଜିଲ୍ଲାର ୬୦ ହଜାର ମା’ ମାନଙ୍କୁ ଏହି ସହାୟତା ମିଳିଲା ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ବାଲେଶ୍ବର ଜିଲ୍ଲା ପ୍ରଶାସନ ଦ୍ବାରା ନିଆଯାଇଥିବା ଅଭିନବ ପଦକ୍ଷେପ ‘ଏକ ଗ୍ରାମ ପଞ୍ଚାୟତ ଏକ ଉତ୍ପାଦ’ ଉପରେ ଗୁରୁତ୍ବ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ଯଦି ପ୍ରତ୍ୟେକ ଗ୍ରାମ ପଞ୍ଚାୟତ ଗୋଟିଏ ଗୋଟିଏ ସ୍ବତନ୍ତ୍ର ଦ୍ରବ୍ୟ ଉତ୍ପାଦନ କରିପାରିବେ, ତେବେ ଏଥି ପାଇଁ ବଜାର ସୃଷ୍ଟି ହେବାରେ ସୁବିଧା ହେବା ସହିତ ପ୍ରତ୍ୟେକ ପଞ୍ଚାୟତର ଏକ ସ୍ବତନ୍ତ୍ର ପରିଚୟ ମଧ୍ୟ ସୃଷ୍ଟି ହୋଇପାରିବ। ମା’ ମାନେ ଓଡ଼ିଶାର ଶିଳ୍ପ ବିକାଶରେ ନୂଆ ଅଧ୍ୟାୟ ସୃଷ୍ଟି କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ। ସେ ଆହୁରି ମଧ୍ୟ କହିଥିଲେ ଯେ ଆଗାମୀ ୫ ବର୍ଷରେ ମା’ ମାନଙ୍କୁ ବିନା ସୁଧରେ ୫୦ ହଜାର କୋଟି ଟଙ୍କାର ଋଣ ଯୋଗାଇ ଦିଆଯିବ। ଏହି କାର୍ଯ୍ୟକ୍ରମରେ ଶିଳ୍ପ ଓ ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି, ପର୍ଯ୍ୟଟନ ଏବଂ ଅବକାରୀ ମନ୍ତ୍ରୀ ଅଶ୍ବିନୀ ପାତ୍ର ଓ ବାଲେଶ୍ବର ସଦର ବିଧାୟକ ସ୍ବରୂପ କୁମାର ଦାସ ପ୍ରମୁଖ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ବାଲେଶ୍ବର ଜିଲ୍ଲାରେ ହୋଇଥିବା ବିଭିନ୍ନ ବିକାଶ ମୂଳକ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ। ମେଡିକାଲ କଲେଜ ଠାରୁ ଆରମ୍ଭ କରି ରାସ୍ତାଘାଟ, ପାନୀୟ ଜଳ, ସ୍ବାସ୍ଥ୍ୟ କଲ୍ୟାଣ କାର୍ଯ୍ୟକ୍ରମ ସବୁ କ୍ଷେତ୍ରରେ ବାଲେଶ୍ବର ଜିଲ୍ଲାରେ ଉଲ୍ଲେଖନୀୟ କାର୍ଯ୍ୟ ହେଉଛି ବୋଲି ସେମାନେ କହିଥିଲେ। ମିଶନ ଶକ୍ତି କାର୍ଯ୍ୟକ୍ରମ ଦ୍ବାରା ମା’ ମାନଙ୍କୁ ନୂଆ ପରିଚୟ ମିଳିପାରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ।
ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ ଭୋଗରାଇ ବିଧାୟକ ଅନନ୍ତ ଦାସ, ବସ୍ତା ବିଧାୟକ ନିତ୍ୟାନନ୍ଦ, ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା, ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ସୋର ବିଧାୟକ ପର୍ଶୁରାମ ଧଡ଼ା, ବାଲେଶ୍ବର ପୌରାଧ୍ୟକ୍ଷା ସବିତା ସାହୁ ମଞ୍ଚାସୀନ ଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଜିଲ୍ଲା ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ରବୀନ୍ଦ୍ର କୁମାର ସାହୁ ଧନ୍ୟବାଦ ଦେଇଥିଲେ। ଜିଲ୍ଲାର ବିଭିନ୍ନ ନିର୍ବାଚନ ମଣ୍ଡଳୀରୁ ୧୫ ହଜାରରୁ ଅଧିକ ଜନତା ଏହି ଜନ ସମାବେଶରେ ଉପସ୍ଥିତ ଥିଲେ।