ସବୁ ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଟ ପାଇଁ କାମ ଆରମ୍ଭ

ଆଉ ୭ଟି ଜିଲ୍ଲାରେ ପ୍ଲାଣ୍ଟ ପାଇଁ ଭିତ୍ତିପ୍ରସ୍ତର
ମହାମାରୀ ସମୟରେ ଲୋକଙ୍କ ସ୍ବାସ୍ଥ୍ୟ ସୁରକ୍ଷା ସରକାରଙ୍କ ସର୍ବାଧିକ ପ୍ରାଥମିକତା : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ରାଜ୍ୟର ଆଉ ୭ଟି ଜିଲ୍ଲାରେ ଆଜି ତରଳ ମେଡିକାଲ୍ ଅକ୍ସିଜେନ୍‌ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ଅନୁଗୁଳ, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଜପତି, କଳାହାଣ୍ଡି ଓ ନୂଆପଡ଼ା। ଏହା ସହିତ ରାଜ୍ୟର ୩୦ଟି ଜିଲ୍ଲାରେ ଅକ୍ସିଜେନ୍ ପ୍ଲାଣ୍ଟ ପାଇଁ କାମ ଆରମ୍ଭ ହୋଇଛି। ଆଗାମୀ ଦୁଇ ମାସ ମଧ୍ୟରେ ଏହିସବୁ ପ୍ଲାଣ୍ଟରୁ ସେବା ଯୋଗାଇ ଦିଆଯାଇପାରିବ। ପ୍ରତ୍ୟେକ ସଂରକ୍ଷଣ ବ୍ୟବସ୍ଥାରେ ୬ କିଲୋଲିଟର ତରଳ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ କରାଯାଇପାରିବ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅକ୍ସିଜେନ୍ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ଆଠମଲ୍ଲିକ ଉପଖଣ୍ଡ ହସ୍ପିଟାଲରେ ଅକ୍ସିଜେନ ପାଇପ ସଂଯୁକ୍ତ କୋଭିଡ ୱାର୍ଡ, ପାଲଲହଡ଼ା ଉପଖଣ୍ଡ ହସ୍‌ପିଟାଲ, ମାଧପୁର ଓ କିଶୋରନଗରର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ଠାକୁରମୁଣ୍ଡା ଓ ବଇଣ୍ଡାର ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଅକ୍ସିଜେନ ପାଇପ ସଂଯୁକ୍ତ ଆଇସୋଲେସନ୍ ୱାର୍ଡ, ଦେବଗଡ଼ ରାଜମୁଣ୍ଡାସ୍ଥିତ ନୂଆ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଟିକା ଭଣ୍ଡାର ଗୃହକୁ ଉଦ୍‌ଘାଟନ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାମାରୀ ସମୟରେ ରାଜ୍ୟ ସରକାରଙ୍କ ପାଇଁ ଲୋକଙ୍କ ସ୍ବାସ୍ଥ୍ୟ ସୁରକ୍ଷା ହେଉଛି ସର୍ବାଧିକ ପ୍ରାଥମିକତା। ଜଣେ ବି କୋଭିଡ୍ ରୋଗୀ ଯେପରି ସ୍ବାସ୍ଥ୍ୟସେବାରୁ ବଞ୍ଚିତ ନ ହୁଅନ୍ତି, ସେ ଦିଗରେ ଆମେ କାମ କରୁଛୁ। କରୋନାର ପ୍ରଥମ ଓ ଦ୍ବିତୀୟ ଲହରରୁ ଆମେ ଯେଉଁ ଅଭିଜ୍ଞତା ପାଇଛୁ, ତୃତୀୟ ଲହରର ମୁକାବିଲାରେ ତାହା ଆମ ପାଇଁ ନିଶ୍ଚୟ ସହାୟକ ହେବ। ଏହା ସହିତ ଭିତ୍ତିଭୂମି କ୍ଷେତ୍ରରେ ଯେଉଁ କାମ ହେଉଛି, ତାହା ଦ୍ବାରା କୋଭିଡ ବିରୋଧରେ ଆମର ଲଢ଼େଇ ଆହୁରି ମଜବୁତ ହେବ ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ।

କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ, ଉପବାଚସ୍ପତି ରଜନୀକାନ୍ତ ସିଂହ, ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଟୁକୁନି ସାହୁ, ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ଢେଙ୍କାନାଳ ସାଂସଦ ମହେଶ ସାହୁ, ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ବୌଦ୍ଧ ବିଧାୟକ ପ୍ରଦୀପ ଅମାତ, ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ ପ୍ରମୁଖ ରାଜ୍ୟରେ କୋଭିଡ ଯୁଦ୍ଧରେ ଓଡ଼ିଶାର ଉତ୍ତମ ପ୍ରଦର୍ଶନ ଓ ସ୍ବାସ୍ଥ୍ୟ ଭିତ୍ତିଭୂମିରେ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦକ୍ଷ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଜିଲ୍ଲାରେ ସାଂସଦ ଓ ବିଧାୟକମାନେ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ। ଏଥିରେ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି କେ ମହାପାତ୍ର ସ୍ବାଗତ ଭାଷଣ ଦେଇଥିଲେ। ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ଯାମିନୀ ଷଡ଼ଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ପୂର୍ତ୍ତ ବିଭାଗ ସଚିବ କ୍ରିଷନ୍ କୁମାର ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ସମ୍ବନ୍ଧିତ ଖବର