ଆଇଆଇଟି କେନ୍ଦ୍ରୀୟ ବିଦ୍ୟାଳୟର ଭୂମିପୂଜନ

ରାଜ୍ୟରେ ଅଧିକ କେନ୍ଦ୍ରୀୟ, ନବଦୋୟ, ଏକଲବ୍ୟ ବିଦ୍ୟାଳୟ ପ୍ରତିଷ୍ଠା ହେବ: ଧର୍ମେନ୍ଦ୍ର
ଓଡ଼ିଶାରେ ଖୁବ୍‌ଶୀଘ୍ର ‘ପିଏମ୍‌ଶ୍ରୀ’ ସ୍କୁଲ
ଶିକ୍ଷାର ସାମଗ୍ରିକ ବିକାଶ ପାଇଁ ୪ବର୍ଷରେ ଖର୍ଚ୍ଚ ହେବ ୩ ଲକ୍ଷ କୋଟି

ଭୁବନେଶ୍ୱର : ଭୁବନେଶ୍ବର ଆଇଆଇଟି ପରିସରରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶନିବାର ଦିନ ଭୂମି ପୂଜନ ହୋଇଛି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟଅତିଥି ଭାବେ ଯୋଗଦେଇ କହିଲେ, ଓଡ଼ିଶାର ପିଲାମାନଙ୍କୁ ବୌଦ୍ଧିକ ଜଗତରେ ଉଚ୍ଚ ସ୍ଥାନକୁ ନେବା ଆମର ସାମୂହିକ ଦାୟିତ୍ୱ। ଆଗାମୀ ଦିନରେ ଏହି ଅନୁଷ୍ଠାନ ଶିକ୍ଷାର ପ୍ରୟୋଗଶାଳା ହେବା ସହ ଛାତ୍ରଛାତ୍ରୀଙ୍କୁ ବିଶ୍ୱସ୍ତରୀୟ ନେତୃତ୍ୱ ପାଇଁ ପ୍ରସ୍ତୁତ କରିବ।

ସେ ଆହୁରି କହିଥିଲେ, ଆଇଆଇଟି ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ ରାଜ୍ୟର ୬୬ତମ କେନ୍ଦ୍ରୀୟ ବିଦ୍ୟାଳୟ ହେବ। ଚଳିତ ୨୦୨୨-୨୩ ଶିକ୍ଷାବର୍ଷରୁ ପ୍ରଥମେ ଲୋକାର୍ପିତ ଶ୍ରେଣୀଗୃହରେ ପ୍ରଥମରୁ ପଞ୍ଚମ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ନାମଲେଖା ସହ ପାଠପଢ଼ା ଆରମ୍ଭ ହେବ। ପରବର୍ତ୍ତୀ ପର୍ଯ୍ୟାୟରେ ଆଇଆଇଟି ଭୁବନେଶ୍ୱର ଯୋଗାଇଥିବା ୧୦ ଏକର ଜମିରେ କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ ଶ୍ରେଣୀଗୃହ ନିର୍ମାଣ ହେବ। ଏଥିପାଇଁ ୨୫ କୋଟି ଟଙ୍କା ଖର୍ଚ୍ଚ ହେବ। ସ୍କୁଲ ପରିଚାଳନା ପାଇଁ ବାର୍ଷିକ ୪ କୋଟି ଟଙ୍କା ଖର୍ଚ୍ଚ ହେବ। ସମସ୍ତ ଖର୍ଚ୍ଚ ଭାରତ ସରକାରଙ୍କ ଶିକ୍ଷା ସଂସ୍ଥା ଆଇଆଇଟି ଭୁବନେଶ୍ୱର ବହନ କରିବ। କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ପାଠ ପଢ଼ିବା ସହ ଟେକ୍ନୋଲୋଜିର ବ୍ୟବହାରକୁ ଜାଣିବେ। ଶିକ୍ଷକଙ୍କ ଦକ୍ଷତା ବୃଦ୍ଧି ପାଇଁ ଚଳିତବର୍ଷ ୪ବର୍ଷିଆ ଇଣ୍ଟିଗ୍ରେଟେଡ୍ ଟିଚର୍‌ ଏଜୁକେସନ୍‌ ପ୍ରୋଗ୍ରାମ (ଆଇଟିଏପି)ର ପାଇଲଟ୍ ମଡେଲ ଆରମ୍ଭ କରାଯିବ। ଓଡ଼ିଶା ସମେତ ସମଗ୍ର ଭାରତବର୍ଷର ପ୍ରତ୍ୟେକ ବ୍ଲକରେ ପ୍ରାୟ ୧୫ହଜାର ‘ପିଏମ୍‌ଶ୍ରୀ ସ୍କୁଲ’ ପ୍ରତିଷ୍ଠା କରାଯିବାର ଯୋଜନା ରହିଛି। ପୁରୁଣା ସ୍କୁଲରେ ଏହି ବିଦ୍ୟାଳୟ ପ୍ରତିଷ୍ଠା ହେବ। ତା’ ସହ ଓଡ଼ିଶାରେ ଆହୁରି ଅଧିକ କେନ୍ଦ୍ରୀୟ ବିଦ୍ୟାଳୟ, ନବଦୋୟ ଓ ଏକଲବ୍ୟ ବିଦ୍ୟାଳୟ ପ୍ରତିଷ୍ଠା କରାଯିବ। ଓଡ଼ିଶାରେ ରାଜ୍ୟ ସରକାରଙ୍କ ଅଧୀନରେ ଥିବା ୪୫ହଜାର ସ୍କୁଲକୁ ଭାରତ ସରକାର ସବୁ ପ୍ରକାର ସହଯୋଗର ଦାୟିତ୍ୱ ନେବେ। ସାମଗ୍ରିକ ଶିକ୍ଷା ଯୋଜନାରେ ଆଗାମୀ ୪ବର୍ଷ ମଧ୍ୟରେ ୩ଲକ୍ଷ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ସେ ସୂଚନା ଦେଇଛନ୍ତି।

ତା’ ସହ ରାଷ୍ଟ୍ରୀୟ ଶିକ୍ଷାନୀତି ଅନୁସାରେ, ଆଇଆଇଟି ଭୁବନେଶ୍ୱର ଏକ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ। ଆଗାମୀ ଦିନରେ ଏଠାରେ ଜାତୀୟ ଶିକ୍ଷା ନୀତି ଅନୁସାରେ, ମଲ୍ଟି ଡିସିପ୍ଲିନାରିର ବ୍ୟବସ୍ଥା କରିବାକୁ କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରଧାନ ଆଇଆଇଟି ଭୁବନେଶ୍ୱର କର୍ତୃପକ୍ଷଙ୍କୁ ପରମର୍ଶ ଦେଇଛନ୍ତି। ପରେ ସେ ବରୁଣେଇଠାରେ ପାଇକ ବିଦ୍ରୋହ ସ୍ମାରକୀସ୍ଥଳ ପରିଦର୍ଶନ କରିବା ସହ ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କ ସାଙ୍ଗରେ ଆଲୋଚନା କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ସାଂସଦ ଅପରାଜିତା ଷଡ଼ଙ୍ଗୀ, ଜଟଣୀ ବିଧାୟକ ସୁର ରାଉତରାୟ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।

ସମ୍ବନ୍ଧିତ ଖବର