ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳରେ ସମୁଦ୍ର ପତନ ଠାରୁ ୨.୧ କିଲୋମିଟର ଉଚ୍ଚରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା ଜାଣିବାକୁ ମିଳିଛି। ଆଜି (ଗୁରୁବାର) ଅପରାହ୍ଣରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକ ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି।
ଏଥିସହ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ଦୃଷ୍ଟିରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ନିମନ୍ତେ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
/sambad/media/post_attachments/wp-content/uploads/2019/10/Rain-1-750x430.jpg)
ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ନୂଆପଡ଼ା, ସୋନପୁର, ଅନୁଗୁଳ, ଢ଼େଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କଟକ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।