ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୨୫ ଜିଲ୍ଲାରେ ବଜ୍ରପାତ ସହ ବର୍ଷା; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୭ ସେପ୍ଟେମ୍ବରରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ଏବଂ ଏହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ (ଅର୍ଥାତ୍‌ ୯ ସେପ୍ଟେମ୍ବରରେ) ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହି ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ସବୁ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୬ ତାରିଖ, ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ଦକ୍ଷିଣ ଓଡ଼ିଶା, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଉତ୍ତର ଉପକୂଳ ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।

ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଂଜାମ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଂଜ, କଟକ, ଖୋର୍ଦ୍ଧା, ପୁରୀ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ପ୍ରଭୃତି ୨୫ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକୁ ହଳଦିଆ ଚେତାବନୀ ବା ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସେହିପରିି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଓ କଟକ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ମଧ୍ୟାହ୍ନ ପରେ ଆକାଶ ଆଶିଂକ ମେଘୁଆ ରହିବା ସହ ଅପରାହ୍ନରୁ ସନ୍ଧ୍ୟା ମଧ୍ୟରେ ହାଲୁକା ବର୍ଷା ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି।

ସମ୍ବନ୍ଧିତ ଖବର